Aller au contenu
CLYVNIQParcourez la Bible

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 115

1ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର। 2“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? 3ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି। 4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। 5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ। 6ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; 7ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ। 8ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ। 9ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। 10ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। 11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ। 12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ। 13ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ। 14ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ। 15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ। 16ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି। 17ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; 18ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licence