ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 34
1ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। 9ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। 10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। 11ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। 12ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? 13ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। 14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। 15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। 16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। 19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। 20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। 21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। 22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · लाइसेंस