ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 17

1ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି। 2ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି। 3ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ? 4କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ। 5ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ। 6ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି। 7ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି। 8ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ। 9ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ। 10ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ। 11ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା। 12ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି। 13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’ 15ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ? 16ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ