ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 143
1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। 2ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। 3ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି। 4ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। 5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। 6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] 7ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। 8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। 9ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। 10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। 11ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। 12ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licença