Pular para o conteúdo
CLYVNIQPercorra a Bíblia

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ପ୍ରକାଶିତ 5

1ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। 2ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? 3କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। 4ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି। 5ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। 6ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା। 7ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ। 8ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା। 9ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ, 10ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” 11ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ। 12ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।” 13ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।” 14ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍‍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licença