跳到正文
CLYVNIQ漫步圣经

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 26

1ତହିଁରେ ଆୟୁବ ଉତ୍ତର କରି କହିଲା, 2“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ! 3ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 4ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?” 5“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। 6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। 7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। 8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। 9ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। 10ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। 11ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି। 12ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। 13ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। 14ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · 许可